ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭଲ କାମ କଲେ ବୋଲି ସାବାସୀ

0
  • ପୁଲିସର ମାନବିକତା ଓ ସଂଯମତାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, କହିଲେ ଜାରି ରଖ
  • ଥାନାରେ ଅଧିକ କର୍ମଚାରୀ ମୁତୟନ ପାଇଁ ୧୫ ଦିନ ମଧ୍ୟରେ ପ୍ରସ୍ତାବ ଦେବେ

ଭୁବନେଶ୍ବର: ଥାନା ମାନଙ୍କରେ ଲୋକମାନେ ଯେଭଳି ଉତ୍ତମ ସେବା ପାଇପାରିବେ, ତାକୁ ଦୃଷ୍ଟିରେ ରଖି ଅଧିକ କର୍ମଚାରୀ ମୁତୟନ ହେବା ଦରକାର। ଏଥିପାଇଁ ୧୫ ଦିନ ମଧ୍ୟରେ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ କରୋନା ଠାରୁ ଆରମ୍ଭ କରି ଅମ୍ଫାନ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ପୁଲିସର କାର୍ଯ୍ୟ, ଧୈର୍ଯ୍ୟ, ସଂଯମତା ଓ ମାନବିକତାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୁଲିସ ବିଭାଗର ବରିଷ୍ଠ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଜିଲ୍ଲାର ଡି.ସି.ପି ତଥା ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଥିଲେ। ଲକ୍‌ଡାଉନ ସମୟରେ ଓଡିଶା ପୋଲିସ ଯେଭଳି ଉଚ୍ଚମାନର ସଂଯମତା ସହିତ ମର୍ଯ୍ୟାଦା ଓ ମାନବିକତା ପ୍ରଦର୍ଶନ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିଛନ୍ତି, ସେଥିପାଇଁ ଓଡିଶା ପୋଲିସ ବାହିନୀକୁ ଉଚ୍ଚପ୍ରଶଂସା କରିଥିଲେ।

ଲକ୍‌ଡାଉନ ସମୟରେ ଅନ୍ୟ ରାଜ୍ୟ ଗୁଡିକର ପ୍ରବାସୀ ଶ୍ରମିକମାନେ ଓଡିଶା ମଧ୍ୟ ଦେଇ ଯିବା ସମୟରେ ସେମାନଙ୍କୁ ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର Zero Walking Inside Odisha ନୀତି କାର୍ଯ୍ୟକାରୀ କରିଥିଲେ। ଏହି ନୀତିକୁ ପୁଲିସ ବାହିନୀ ଯେଭଳି ଉତ୍ତମ ସମନ୍ବୟ ରଖି ସଫଳତାର ସହ କାର୍ଯ୍ୟକାରୀ କଲେ ଏବଂ ଅନ୍ୟ ରାଜ୍ୟର ପ୍ରବାସୀ ଶ୍ରମିକ ମାନଙ୍କୁ ମାନବୀୟ ସେବା ଯୋଗାଇ ଦେଲେ, ତାହା ଓଡିଶା ପୋଲିସର ଦକ୍ଷତା ଓ ବୃତ୍ତିଗତ ଉତ୍କର୍ଷତାର ନିଦର୍ଶନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବାତ୍ୟା ଅମ୍ଫାନ ସମୟରେ ଆମର ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀମାନେ ପଶ୍ଚିମବଙ୍ଗ ଯାଇ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । କରୋନା ଭୟ ସତ୍ତ୍ବେ ସେମାନେ କୋଲକତାରେ ଯେଭଳି ସାହସ ଓ ମାନବିକତାର ସହ ବିପନ୍ନ ଲୋକଙ୍କୁ ସେବା ଯୋଗାଇ ଦେଲେ, ତାର ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ଏହି କାର୍ଯ୍ୟକୁ ସାରା ଦେଶ ପ୍ରଶଂସା କରୁଛି ବୋଲି ପ୍ରକାଶ କରି ଏହା ସମସ୍ତଙ୍କ ପାଇଁ ଅନୁକରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କୋଲକତାରେ ବାତ୍ୟା ସମୟରେ ସହାୟତା ଯୋଗାଇବାକୁ ଯାଇ ଆମର ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀ ମାନେ କରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିବା ସହିତ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ ସମୟରେ ପୁଲିସ ମାନବିକତା ଉପରେ ଗୁରୁତ୍ବ ଦେଇ କାମ କରିଛି । କରୋନା ଯୁଦ୍ଧ ସରି ନାହିଁ। ତେଣୁ ଆମକୁ ଅଧିକ ସତର୍କ ହେବା ସହିତ ବୃତ୍ତିଗତ ଦକ୍ଷତାର ସହ କାମ କରିବାକୁ ପଡିବ। ସେହିପରି ଆଗାମୀ ଦିନରେ ଏହି ମନୋଭାବ ନେଇ ସେବା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପୁଲିସ ବାହିନୀକୁ ଆହ୍ବାନ ଜଣାଇଥିଲେ।

ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ କରିଥିଲେ ଯେ ଏହା ଏକ ଅସ୍ବାଭାବିକ ପରିସ୍ଥିତି ଏବଂ ଏଥିରେ ଆମ ସମସ୍ତେ ଟିମ୍‌ ସ୍ପିରିଟ୍‌ରେ କାମ କରୁଛୁ। ଏହି ଆହ୍ବାନର ମୁକାବିଲା କ୍ଷେତ୍ରରେ ପୁଲିସ ଅଧିକାରୀ ଓ କର୍ମଚାରୀମାନେ ସବୁଠାରୁ ଆଗେରେ ଅଛନ୍ତି। ଏହି ଉତ୍ତମ କାର୍ଯ୍ୟକୁ ଜାରି ରଖିବା ପାଇଁ ସେ ପୋଲିସ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଜିଲ୍ଲାସ୍ତରରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ ଯଥେଷ୍ଟ ଭାବରେ ଉପଲବ୍‌ଧ ଅଛି । ପୁଲିସ ଏହାର ବ୍ୟବହାରକୁ ସୁନିଶ୍ଚିତ (enforce) କରିବା ପାଇଁ ସେ ଏସ୍‌.ପି ମାନଙ୍କୁ ପରାମର୍ଶ ଦେଇଥିଲେ।

ପୁଲିସ ମହାନିର୍ଦ୍ଦେଶକ ଅଭୟ ପୁଲିସ ପ୍ରଶାସନ ଦ୍ବାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମହିଳା ମାନଙ୍କ ଉପରେ ଘରୋଇ ହିଂସାକୁ ରୋକିବା ପାଇଁ ପୁଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ୯୨୦୫ ଜଣ ମହିଳାଙ୍କ ସହିତ ଫୋନ ଜରିଆରେ ଯୋଗାଯୋଗ କରାଯାଇଛି । ଏଥିରେ ୫୩ଟି କେସ୍‌ରେ ଘରୋଇ ହିଂସାର ସୂଚନା ମିଳିଥିଲା ଏବଂ ଏଥିପାଇଁ ପୁଲିସ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ନିଆଯାଇଛି।

୮୦୦୨ଟି ସାମୟିକ ମେଡିକାଲ କେନ୍ଦ୍ର (TMC) ର ସୁରକ୍ଷା ଦାୟିତ୍ବ ନିଆଯାଇଛି। ପୁଲିସ ପକ୍ଷକୁ ବିଭିନ୍ନ କ୍ଷେତ୍ରରେ ସଚେତନତା କାର୍ଯ୍ୟକ୍ରମ, ବିଶେଷ କରି ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ବ ପାଳନ ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି ବୋଲି ସେ କହିଥିଲେ । ସେହିପରି ମାନବିକତା ସଂପନ୍ନ କାର୍ଯ୍ୟ କ୍ଷେତ୍ରରେ ମଧ୍ୟ ପୁଲିସ ଅଗ୍ରଣୀ ଭୂମିକା ନେଇଛି ବୋଲି ସେ କହିଥିଲେ। ରାଜ୍ୟରେ କୌଣସି ପ୍ରବାସୀ ଚାଲିକରି ନ ଯାଆନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ୫୨୪ଟି ଟ୍ରିପ୍‌ ଜରିଆରେ ସମୁଦାୟ ୨୪,୫୮୭ ଆନ୍ତରାଜ୍ୟ ପଥଚାରୀ ପ୍ରବାସୀଙ୍କୁ ସେମାନଙ୍କ ରାଜ୍ୟକୁ ପଠାଯାଇଛି।

ବିଭିନ୍ନ ନିୟମ ଉଲଙ୍ଘନ କ୍ଷେତ୍ରରେ ପୁଲିସ ପକ୍ଷରୁ ପଦକ୍ଷେପ ନିଆଯାଇ ଜରିମାନା ଆଦାୟ କରାଯାଇଛି। ମାସ୍କ ବ୍ୟବହାର ଉଲଙ୍ଘନରେ ୧,୨୫,୮୪,୧୮୦ ଟଙ୍କା, ସାମାଜିକ ଦୂରତ୍ବ ଉଲଙ୍ଘନରେ ୧୧,୭୪,୩୫୦ ଟଙ୍କା, ସାପ୍ତାହିକ ଲକ୍‌ଡାଉନ ଉଲଙ୍ଘନରେ ୩୦୦୦ ଟଙ୍କା ଏବଂ ରାତ୍ରୀକାଳୀନ କର୍ଫ୍ୟୁ ଉଲଙ୍ଘନ ପାଇଁ ୧,୦୩,୮୦୦ ଟଙ୍କା ଆଦାୟ କରାଯାଇଛି।

ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି କହିଥିଲେ ଯେ କୋଲକତାକୁ ଅପ୍ରେଲ ୨୫ରେ ୩୭୨ ଜଣ ଜବାନ ଯାଇ ୧୨ ଦିନ ପର୍ଯ୍ୟନ୍ତ ନିୟୋଜିତ ହୋଇଥିଲେ। ସେମାନଙ୍କ କାର୍ଯ୍ୟକୁ କୋଲକତାବାସୀ ଭୂୟସୀ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ସେମାନେ ଯେତେବେଳେ କୋଲକତା ଓ ହାଓଡାର ରାସ୍ତାରେ ଯାଉଥିଲେ, ସେତେବେଳେ ଦୁଇ ପାର୍ଶ୍ବର ଜନତା ଛିଡାହୋଇ ଓଡିଶା ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରୁଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଲକାତାରୁ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ସ୍ବାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ ପାଣ୍ଡିଆନ କହିଥିଲେ ଯେ ବର୍ତ୍ତମାନ ସମୟରେ ବିଭିନ୍ନ ଲକ୍‌ଡାଉନ ନିୟମାବଳୀକୁ ପୁଲିସ ପ୍ରଶାସନ ଦକ୍ଷତାର ସହିତ ଲାଗୁ କରିପାରିଛି। ଯେକୌଣସି ନିର୍ଦ୍ଦେଶକୁ ତୁରନ୍ତ ଲାଗୁ କରିବା କ୍ଷେତ୍ରରେ ପୁଲିସ ଯେପରି କାର୍ଯ୍ୟଦକ୍ଷତା ଦେଖାଇଛି, ତାହା ପ୍ରଶଂସନୀୟ। ସମସ୍ତ ନିର୍ଦ୍ଦେଶାବଳୀକୁ ପୋଲିସ ଅତ୍ୟନ୍ତ ସୂଚାରୁ ରୂପେ କାର୍ଯ୍ୟକାରୀ କରିଛି । ବୃତ୍ତିଗତ ଦକ୍ଷତା ଓ ମାନବୀୟ ମୂଲ୍ୟବୋଧ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବାରେ ପୁଲିସ ସଫଳ ହୋଇଛି ବୋଲି ସେ ମତ ଦେଇଥିଲେ। ଗୃହ ବିଭାଗ ପ୍ରମୁଖ ସଚିବ ସଂଜୀବ ଚୋପ୍ରା ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.