ପ୍ରମୁଖ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା, ମାସିକ ଦରମା ୪, ୯୦୦ ଟଙ୍କା ବୃଦ୍ଧି କଲେ ସରକାର
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ଡିଜିଟାଲାଇଜ୍ ହେଲା ବିଧାନସଭା, ଟ୍ୟାବରୁ ପଢ଼ିବେ ବିଧାୟକ
ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ କଟକ, ଖୋର୍ଧା ସାମିଲ

0
  • ସାରା ରାଜ୍ୟର ଏଯାଏ ୨୬ଟି ଜିଲ୍ଲା ଯୋଜନାରେ ସାମିଲ ହେଲେଣି
  • କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସୁବିଧା
  • ଓଡିଆ ସ୍ୱାଭିମାନର ସୁରକ୍ଷା ପାଇଁ ଲଢେଇ ଜାରି ରହିବ : ମୁଖ୍ୟମନ୍ତ୍ରୀ
  • ବିଶ୍ୱନାଥ ପଣ୍ଡିତ ପାଠାଗାରକୁ ଅତ୍ୟାଧୁନିକ କରାଯିବାକୁ ଘୋଷଣା
  • କଟକରେ ୨୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

କଟକ/ ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏଥିସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ। ସ୍ୱାସ୍ଥ୍ୟ ହିଁ ସମ୍ପଦ। ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ।

କଟକର ଏସସିବି ମେଡିକାଲ କଲେଜକୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ।

ସେହିପରି ବେଗୁନିଆଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିସନ ଶକ୍ତିର ମାଆମାନେ ହେଉଛନ୍ତି ନୂଆ ଯୁଗର ସାରଥୀ। ଖୋର୍ଦ୍ଧାର ମିସନ ଶକ୍ତିର ମାଆମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିସନ ଶକ୍ତିର ମାଆମାନେ ୩୨ କୋଟିରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ କରିଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଉଭୟ ଜିଲ୍ଲାରେ ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିବା ସହିତ ବିକାଶ କ୍ଷେତ୍ରରେ ସମସ୍ତଙ୍କର ଯୋଗଦାନ ବୃଦ୍ଧି ପାଇବ। ଏହାଦ୍ୱାରା ରାଜ୍ୟ ବିକାଶର ଶିଖର ଛୁଇଁବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଏସକେଓ୍ବାଇ ସ୍ମାର୍ଟ ହେଲଥ କାର୍ଡରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ। ସେହିଭଳି ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ କଟକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରତାପ ଜେନା, ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ । ରାଜ୍ୟରେ ବିକାଶର ନୂତନ ଧାରା ସାରା ଦେଶକୁ ରାସ୍ତା ଦେଖାଇଛି ବୋଲି ସେମାନେ କହିଥିଲେ। ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

   

  





        

    

Leave A Reply

Your email address will not be published.