ଭୁବନେଶ୍ବର; ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ଏହି ଅଘଟଣ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି। ଏଥିସହ ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇବା ସହ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ, ଆଜି କଟକ ଖାନନଗର ଅଞ୍ଚଳରେ ବ୍ରିଜ୍ ନିର୍ମାଣ କାମ ଜାରି ରହିଥିଲା। ବ୍ରିଜ୍ ଉପରେ କିଛି ଶ୍ରମିକ କାମ କରୁଥିଲେ। ଅଚାନକ କ୍ରେନରୁ ନିର୍ମାଣଧିନ ସ୍ଲାବ ଛିଡି ପଡିଥିଲା। ଫଳରେ ୫ ଜଣ ଶ୍ରମିକ ସ୍ଲାବ ତଳେ ଚାପି ହୋଇ ଗୁରୁତର ଆହତ ହୋଇଥିଲେ। ତୁରନ୍ତ ଆହତମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ସେହିପରି ଅନ୍ୟ ୨ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ସେମାନଙ୍କ ଅବସ୍ଥା ଅତି ସଂକଟାପର୍ଣ୍ଣ ରହିଛି।