ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ସପ୍ତଦଶ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ବିଧାନସଭାକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ପୋଲିସ ଡିଜି ବିନୟତୋଷ ମିଶ୍ର ବରିଷ୍ଠ ଅଧିକାରୀଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।
ଅନ୍ୟପକ୍ଷରେ, ଅଧିବେଶନ ପୂର୍ବରୁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସର ନେତାମାନେ ଯୋଗ ଦେଇଛନ୍ତି। ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଳିଙ୍ଗ, ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଜେଡି ବିଧାୟକ ପ୍ରତାପ ଦେବ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ପ୍ରମୁଖ ଉପସ୍ଥିତ ଅଛନ୍ତି।
ଅଧିବେଶନକୁ ଶୃଙ୍ଖଳିତ ଓ ସୁରୁଖୁରୁରେ ପରିଚାଳନା, ଜନସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଆଲୋଚନା ଏବଂ ଶାସକ-ବିରୋଧୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ନେଇ ବୈଠକରେ ଆଲୋଚନା ହେଉଛି। ଅନ୍ୟପଟେ, ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦଳଗୁଡ଼ିକର ରଣନୀତି ଉପରେ ମଧ୍ୟ ନଜର ରହିଛି।